
ସ୍ବତନ୍ତ୍ର ଉପସ୍ଥାପନା (ବବି ରଥ): ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଟକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ବୈଦିକ ଯୁଗରେ ଲୋକ ନାଟକର ଉବ୍ଦଭ ହୋଇଥିଲେ ମଧ୍ୟ ଏବେ ଏଗୁଡିକ ଲୋକ ସମାଜରେ ମୁମୂର୍ଷ ଅବସ୍ଥାରେ କେବଳ ବଞ୍ଚିରହିଛନ୍ତି । ଏଗୁଡିକର ପୁନରାଉଦ୍ଧାର ପାଇଁ ଏବେ ଅବଶ୍ୟ ସମଗ୍ର ବିଶ୍ୱ ଚଳଚଞ୍ଚଳ ହୋଇପଡ଼ିଛି । ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାର ଲୋକନାଟକ ପ୍ରଚଳିତ । ଚୀନ,ଆମେରିକା,ଲୋହିତ ଭାରତୀୟ ,ଆଫ୍ରିକାର ଆଦିବାସୀ,ୟୁରୋପର ଅନୁନ୍ନତ ଅଞ୍ଚଳ ତଥା ଭାରତର ବିଭିନ୍ନ ପ୍ରଦେଶରେ ଭଳି ଭଳି ଲୋକନାଟ୍ୟର ପ୍ରଚଳନ ଦେଖିବାକୁ ମିଳେ । ସେହିଭଳି ଓଡ଼ିଶାରେ ମଧ୍ୟ ବିଭିନ୍ନ ଲୋକନାଟକ ମଧ୍ୟରୁ ଦଣ୍ଡନାଟ ଏକ ପ୍ରଭାବଶାଳୀ ଶାଖା ।
ଏହି ପର୍ବରେ ମିଶିଥିବା ଭକ୍ତଙ୍କୁ ଦଣ୍ଡୁଆ ବା ଭୋକ୍ତା କୁହାଯାଏ । ଭୋକ୍ତାମାନେ ବହୁ କଷ୍ଟ କରି ଶରୀରକୁ ଦଣ୍ଡ ଦେଉଥିବାରୁ ଏହାକୁ ଦଣ୍ଡନାଚ କୁହାଯାଏ । ଦଣ୍ଡ ନାଟରେ ମିଶିବାଦ୍ୱାରା ମା’କାଳୀଙ୍କ କୃପାରୁ ପାପ ଓ ଦୁଖ ଦୂର ହୋଇ ମାନବ ଶାନ୍ତି ଓ ଧନ ପ୍ରାପ୍ତ ହୁଏ ବୋଲି ବିଶ୍ୱାସକରି ଓଡ଼ିଶାବାସୀ ଏହି ପର୍ବକୁ ପାଳନ କରନ୍ତି । ସେମାନଙ୍କ ମଧ୍ୟରେ ଜଣେ ପାଟଭୋକ୍ତା ଥାଆନ୍ତି । ଭୋକ୍ତାମାନଙ୍କ ପାଇଁ କଠିନ ଆଚରଣ, ନିଷ୍ଠା ଏବଂ ତ୍ୟାଗର ବିଧିବିଧାନ ରହିଛି । ଭୋକ୍ତାମାନେ ଯେଉଁ ୧୬ପ୍ରକାର ଦଣ୍ଡ ପରମ୍ପରା ଅନୁସାରେ ଗ୍ରହଣ କରନ୍ତି ସେଗୁଡ଼ିକ ହେଲା: ଆହାର, ଉଜାଗର (ନିଦ୍ରା), ମୈଥୁନ ତ୍ୟାଗ, ଗୃହତ୍ୟାଗ, ପଦଗମନ, ଶ୍ମଶାନ, ନୃତ୍ୟ, ଧୂଳି, ପାଣି, ଅଗ୍ନି, ଗୃହଦଣ୍ଡ, ଅଙ୍ଗବଳୀ, ମେରୁପଟା (କଣ୍ଟା ଫୋଡ଼ିବା), ଶୁଦ୍ଧିକ୍ରିୟା, କୁଳଭୋଜି, ଅଗ୍ନି ପରିକ୍ଷା (ଅଗ୍ନିରେ ଚାଲିବା) ।
ଲିଆ, ପଣା ତଥା ମୁଗସିଝା ଏମାନଙ୍କର ଖାଦ୍ୟ । ଭୋକ୍ତାମାନେ ଶିବ, ପାର୍ବତୀ, କାଳୀ, କଳସ, ବେତ, ଛତ୍ର, ବାନା, ଆଲଟ, ଚାମର, ଘଣ୍ଟ, ଢୋଲ, ମହୁରୀ, ଶଙ୍ଖ, ତୁରୀ ଧରି ଗାଁକୁ ଗାଁ ବୁଲନ୍ତି । ମାନସିକ କରିଥିବା ବ୍ୟକ୍ତି ସେମାନଙ୍କୁ ନିମନ୍ତ୍ରଣ କରନ୍ତି । ଷୋହଳ ସୁଆଙ୍ଗ ଦଣ୍ଡନାଚର ମୁଖ୍ୟ ଆକର୍ଷଣ । ଯଜମାନଙ୍କ ମନସ୍କାମନା ପୂର୍ଣ୍ଣ ପାଇଁ ପ୍ରାର୍ଥନା କରି ପାଣିଦଣ୍ଡ, ଧୂଳି ଦଣ୍ଡ, ବଜ୍ର ଦଣ୍ଡ, ଅଗ୍ନି ଦଣ୍ଡ, ନୃତ୍ୟ ଦଣ୍ଡ ଆଦି ବରଣ କରନ୍ତି । ପ୍ରଚଣ୍ଡ ଖରାରେ ତତଲା ବାଲି ଉପରେ ଗଡ଼ି, ପିରାମିଡ଼ କରି ଭୋକ୍ତାମାନେ ପାଣିଦଣ୍ଡ ନୃତ୍ୟ ପରିବେଷଣ କରନ୍ତି । ଶିବ ପାର୍ବତୀ, ଯୋଗିଯୋଗିଆଣୀ, କେଳା କେଳୁଣୀ, ଶବର ଶବରୁଣୀ, ହାଡ଼ି ହାଡ଼ିଆଣୀ, ଚଢ଼େୟା ଚଢ଼େୟାଣୀ, ବୀଣାକାର ଇତ୍ୟାଦି ସୁଆଙ୍ଗ ଦର୍ଶକମାନଙ୍କୁ ଆକୃଷ୍ଟ କରେ । ସୁଆଙ୍ଗବେଳେ ଚରିତ୍ରକୁ ଚାହିଁ ବେଶ ପୋଷାକ ପିନ୍ଧିଥାନ୍ତି ।
ପୌରାଣିକ, କୃଷିଭିତ୍ତିକ ଏବଂ ସାଧାରଣ ଜୀବନ ଦର୍ଶନର ପ୍ରଭାବ ଦଣ୍ଡନାଟ ସୁଆଙ୍ଗରେ ଦେଖିବାକୁ ମିଳିଥାଏ । ଏଥିରେ ଅତି ସରଳ ଗ୍ରାମୀଣ ଭାଷା ବ୍ୟବହାର କରାଯାଇଥାଏ । ବିଷୁବ ସଂକ୍ରାନ୍ତି ଦିନ ଦଣ୍ଡନାଚ ଶେଷ ହୁଏ । ଏହି ଶେଷଦିନକୁ ମେରୁ ପୂଜା କୁହାଯାଏ । ଘଣ୍ଟ, ଝାଞ୍ଜ ଓ ଢୋଲ ଇତ୍ୟାଦି ବାଦ୍ୟଯନ୍ତ୍ର ବାଜୁଥିବା ବେଳେ ଭୋକ୍ତାମାନଙ୍କ କଳାରୁଦ୍ରମଣିକି ଭଜ ହେ ଧ୍ୱନି ଶ୍ରଦ୍ଧାଳୁଙ୍କ ମନରେ ଭୟ ମିଶ୍ରିତ ଭକ୍ତି ଭାବ ସୃଷ୍ଟି କରିଥାଏ ।
ଏହି ସମ୍ପର୍କରେ ଶ୍ରୀ ଶ୍ରୀ ମା ’ ଗାଲେରୀ ଦଣ୍ଡକାଳୀଙ୍କ ମୂଖ୍ୟ ପୂଜକ ଓ ଅଧିକାରୀଙ୍କ ସହ ସାକ୍ଷାତକାର: