
ଭୁବନେଶ୍ବର: ରାଜ୍ୟରେ ପୁଣି ୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓଡ଼ିଶାର ଏକ ନୂଆ ଜିଲ୍ଲାକୁ କବଳିତ କରିଛି କରୋନା। ଏହା ହେଲା ଅନୁଗୁଳ। ଅନୁଗୁଳ ଜିଲ୍ଲାରୁ ଆଜି ୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏହାଫଳରେ ଓଡ଼ିଶାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ସଂଖ୍ୟା ୨୦ରେ ପହଞ୍ଚିଛି। ଏଯାବତ୍ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଗଞ୍ଜାମ ଜିଲ୍ଲାରେ ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୧୩ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।