
ଭୁବନେଶ୍ୱର : ବିଜେଡିର ବରିଷ୍ଠ ନେତାଙ୍କୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗୁରୁମନ୍ତ୍ର । ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ ସ୍ୱର ହେବାକୁ ପରାମର୍ଶ ଦେଇଛନ୍ତି ନବୀନ । ଗତକାଲି ଅପରାହ୍ଣରେ ଦଳର ଅନେକ ବରିଷ୍ଠ ନେତା ନବୀନଙ୍କୁ ଭେଟି ରାଜ୍ୟରେ ସାଂପ୍ରତିକ ସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ଲୋକଙ୍କ ସ୍ବର ହେବାକୁ ଦଳୀୟ ନେତାଙ୍କୁ ପରାମର୍ଶ ଦେଇଥିଲେ ନବୀନ । ବିଧାୟକ ଅରୁଣ ସାହୁ କହିଛନ୍ତି, ଲୋକଙ୍କ ସମସ୍ୟାକୁ ନେଇ ବିଜେଡି ତୀବ୍ର ଲଢ଼େଇ କରିବ ।ନବୀନଙ୍କ ନେତୃତ୍ୱରେ ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ବିଜେଡିର ବିଜୟ ସୁନିଶ୍ଚିତ । ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବ । ନିଜକୁ ଲୋକଙ୍କ ସରକାର କହୁଥିବା ବିଜେପି କ୍ଷମତାକୁ ଆସିବା ପରଠାରୁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି । ଚାଷୀ ସାର ପାଉନଥିବା ବେଳେ ବ୍ୟାପକ କଳାବଜାରୀକୁ ପ୍ରୋତ୍ସାହନ ଦେଉଛନ୍ତି ସରକାର । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି ।ମହିଳା ସୁରକ୍ଷାକୁ ନେଇ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଥିବା ବେଳେ ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି । ପ୍ରତ୍ୟେକ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ ଠପ୍ ହୋଇଯାଇଛି। ଓଡିଆ ଅସ୍ମିତାର ନାରାଦେଇ ସରକାରକୁ ଆସିଥିବା ବିଜେପି, ପ୍ରତ୍ୟେକ ଦିନ ଓଡ଼ିଆ ଅସ୍ମିତାକୁ କୁଠାରଘାତ କରୁଛି ବୋଲି କହିଛି ବିଜେଡି। ଆଗାମୀ ଦିନରେ ରାଜ୍ୟବାସୀଙ୍କ ସ୍ୱର ଭାବେ ବିଜୁ ଜନତା ଦଳ ବିଜେପି ସରକାରଙ୍କ ପ୍ରତ୍ୟେକ ଜନବିରୋଧୀ କାର୍ଯ୍ୟକୁ ତୀବ୍ର ବିରୋଧ କରିବ।